Loading Indian Time...
Loading Indian Time...

ବର୍ଷା ନେଇ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ପ୍ରକାଶିତ: May 28, 2025, 9:00 AM | ଓଡିଶା ଜିଲ୍ଲା ସମାଚାର
ବର୍ଷା ନେଇ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ରାଜ୍ୟରେ ଘଡଘଡି ସହ ପବନ ବହିବ। ଏ ନେଇ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏଥିପାଇଁ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ କମିଶନର (SRC) ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଆବଶ୍ୟକ ସ୍ଥାନରେ ପମ୍ପ ବ୍ୟବହାର କରି ଜଳ ନିଷ୍କାସନ ବ୍ୟବସ୍ଥା ସୁନିଶ୍ଚିତ କରିବା ପାଇଁ ପରାମର୍ଶ ଦିଆଯାଇଛି। ବର୍ଷାଜନିତ ବନ୍ୟା ଓ ଅନ୍ୟାନ୍ୟ ସମସ୍ୟାକୁ ମୁକାବିଲା କରିବା ପାଇଁ ଜିଲ୍ଲା ପ୍ରଶାସନକୁ ପ୍ରସ୍ତୁତ ରହିବାକୁ କୁହାଯାଇଛି। ବଜ୍ରପାତ ଅଘଟଣ ଏଡ଼ାଇବା ସହ ଲୋକଙ୍କୁ ସଚେତନ କରିବାକୁ କୁହାଯାଇଛି। ବର୍ଷାଜନିତ କ୍ଷୟକ୍ଷତି ବାବଦରେ ତୁରନ୍ତ ରିପୋର୍ଟ ଦେବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି। ୩୧ ତାରିଖ ଯା‌ଏଁ ଗଭୀର ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

ଆଜି ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଯାଜପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୪୦-୫୦କି.ମି ବେଗରେ ପବନ ବହିବାରେ ସମ୍ଭାବନା ରହିଛି। ଅବଶିଷ୍ଟ ଓଡ଼ିଶାରେ ବି ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବାଲେଶ୍ଵର, ଭଦ୍ରକ, ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ, ଗଜପତି, ରାୟଗଡା, କୋରାପୁଟ, ନୂଆପଡା, ବରଗଡ, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ବୌଦ୍ଧ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ ଘଣ୍ଟାପ୍ରତି ୪୦-୫୦କି.ମି ବେଗରେ ପବନ ବହିପାରେ।