ଲଘୁଚାପ ପ୍ରଭାବ ୨୪ ଘଣ୍ଟା ମଧ୍ୟରେ ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

Sep 5, 2023 - 16:54
Sep 5, 2023 - 17:25
 0  5
ଲଘୁଚାପ  ପ୍ରଭାବ ୨୪ ଘଣ୍ଟା ମଧ୍ୟରେ ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ-ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ କ୍ଷେତ୍ର ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏଁ ବ୍ୟାପିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର। ପାଣିପାଗ ବିଶେଷଜ୍ଞଙ୍କ ସୂଚନା ଅନୁଯାୟୀ, ଏହାର ପ୍ରଭାବରେ ଆସନ୍ତା ୫ ଦିନ ଧରି ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୬ ସେପ୍ଟେମ୍ବର, ବୁଧବାର ଅପରାହ୍ନ ମଧ୍ୟରେ ରାଜ୍ୟର ୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୨୦ ସେମିରୁ ଅଧିକ) ହେବାର ସମ୍ଭାବନା ଥିବା ବେଳେ ୧୪ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୨୦ ସେମିରୁ ଅଧିକ) ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ କମଳା ଚେତାବନୀ ବା ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଆଦି ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ସେମି) ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିଛି। ତେବେ, ଟୁଇନ୍‌ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।

What's Your Reaction?

like

dislike

love

funny

angry

sad

wow

K.S -KwikOdisha Bureau My writing style is characterized by engaging storytelling, meticulous fact-checking, and a commitment to presenting multiple perspectives.